ପଣା ସଂକ୍ରାନ୍ତିକୁ କାହିଁକି କୁହାଯାଏ ଓଡ଼ିଆ ନୂଆ ବର୍ଷ, ଜାଣନ୍ତୁ କ'ଣ ରହିଛି ଏହା ପଛର ପୌରାଣିକ କଥା...

why Pana Shankranti is called as Odia New Year

ଓଡ଼ିଆ ଗସିପ ବ୍ୟୁରୋ: ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତିକୁ ଓଡ଼ିଆ ନୂଆ ବର୍ଷ ଭାବରେ ପାଳନ କରାଯାଏ । ଏହା ସାଧାରଣତଃ ଅପ୍ରେଲ ୧୪ (ବୈଶାଖ ୧) ତାରିଖରେ ପଡ଼େ । ଏହି ଦିନଠାରୁ ବସନ୍ତ ଋତୁ ଶେଷ ହୁଏ ଓ ଗ୍ରୀଷ୍ମର ଆରମ୍ଭ ହୋଇଥାଏ ।

ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ । ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ । ବର୍ଷ ଆରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ । ଏହି ଦିନରୁ ସୂର୍ଯ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ । ଗରିଷ୍ଠ ଖାଦ୍ୟ ହଜମ ହେଉଥିବାରୁ ବୁଟଛତୁ ପରି ଗରିଷ୍ଠ ଖାଦ୍ୟପଦାର୍ଥ ଗ୍ରହଣ ପାଇଁ ଆୟୋଜନ ଥାଏ ।

ଆହୁରି ପଢ଼ନ୍ତୁ : ଏକୁଟିଆ ବେଳେ ଛାତ୍ରୀଙ୍କୁ ଡାକୁଥିଲେ ରସିକିଆ ପ୍ରିନ୍ସିପାଲ୍; ନିର୍ଯାତନାର କାହାଣୀ ବଖାଣିଲେ ଦୁଇ ଛାତ୍ରୀ

କିପରି କରାଯାଏ ପାଳନ:

ଏହି ଦିନ ଏକ ଛୋଟ ମାଠିଆରେ ପଣା ରଖି ତୁଳସୀ ଚଉରା ମୂଳରେ ବାନ୍ଧିଦିଆଯାଏ । ମାଠିଆରେ ଥିବା ଛୋଟ କଣାରୁ ଧିରେ ଧିରେ ପାଣି ଝରେ ଯାହା ବର୍ଷାକୁ ସୂଚାଇଥାଏ । ଏହି ଠେକିକୁ ବସୁନ୍ଧରା ଠେକି କୁହାଯାଏ । ଛତୁଆ, ଦହି, ଗୁଡ଼, କଦଳୀ ଓ ନଡିଆକୁ ମିଶାଇ ତୁଳସୀ ଚଉରା ପାଖରେ ଭୋଗ ଲଗାଯାଏ । ବେଲ ପଣାରେ ବଟା ଭାଙ୍ଗ ମିଶାଇ ଭାଙ୍ଗ ପଣା ସେବନ ମଧ୍ୟ କରାଯାଇଥାଏ ।

ଚଣ୍ଡୀ, ସାରଳା, ବିରଜା ଆଦି ଠାକୁରାଣୀ ମନ୍ଦିରରେ ଏହି ଦିନ ଝାମୁ ଯାତ ପାଳନ କରାଯାଏ । ଘଣ୍ଟପାଟୁଆମାନେ ଘଣ୍ଟ ମୁଣ୍ଡେଇ, କାଠ ଗୋଡ଼ ପିନ୍ଧି ଠାକୁରାଣୀ ମନ୍ଦିର ଆଗରେ ନିଆଁ ଉପରେ ଚାଲିବାର ପ୍ରଥା ରହିଛି । ଦକ୍ଷିଣ ଓଡ଼ିଶାରେ ମାସାଧିକ କାଳ ଧରି ଚାଲିଥିବା ଦଣ୍ଡ ନାଟର ଅନ୍ତଭାବେ ଏହିଦିନ ମେରୁ ଯାତ ପାଳନ କରାଯାଏ । ଲୋକେ ବେଲ ପଣା ଓ ଛତୁଆ ସହ ଏହାକୁ ପାଳନ କରନ୍ତି। ଉତ୍ତର ଓଡ଼ିଶାରେ ଏହି ଦିନକୁ ଚଡ଼କପର୍ବ ନାମରେ ପାଳନ କରାଯାଏ ।

ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା ମଧ୍ୟ ଅଛି । ତେଣୁ ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ଛତୁ ଓ ପଣା ଭୋଗର ବିଧି ରହିଛି । ଏହି ଦିନ ସାଇପଡ଼ିଶା, ବନ୍ଧୁବାନ୍ଧବ ଓ ବ୍ରାହ୍ମଣମାନଙ୍କୁ ପଣା ଦିଆଯାଏ । ତେଣୁ ଏହି ଦିନକୁ ପଣାସଂକ୍ରାନ୍ତି ବୋଲି ମଧ୍ୟ କୁହାଯାଏ ।

ଆହୁରି ପଢ଼ନ୍ତୁ : ମହାବିଷୁବ ସଂକ୍ରାନ୍ତିରେ କାହିଁକି ବଣ୍ଟାଯାଏ ପଣା, କାହିଁକି ହୁଏ ହନୁମାନ ଜୟନ୍ତୀ, କିଛି ଏପରି ରହିଛି ବଡ଼ କାରଣ...

ପଣାସଂକ୍ରାନ୍ତିଠାରୁ ରାସ୍ତାକଡ଼ରେ ପଥିକମାନଙ୍କର ତୃଷ୍ଣା ନିବାରଣ ପାଇଁ ଜଳଛତ୍ରମାନ ଖୋଲାଯାଏ । ଏହା ସହିତ ଗଛ ମୂଳରେ ଜଳଦାନର ପ୍ରଥା ଆମ ସମାଜରେ ରହିଛି । ସେଥିପାଇଁ ହିନ୍ଦୁ ପରିବାରରେ ଚଉଁରାରେ ପୂଜା ପାଉଥିବା ତୁଳସୀ ବୃକ୍ଷ ଉପରେ ଛାମୁଡ଼ିଆ କରି ଘଡ଼ିରେ ଜଳ ରଖି ତା’ର ତଳେ ସରୁ କଣାକରି ସୂକ୍ଷ୍ମ ଧାରରେ ଜଳଦାନ କରାଯାଇଥାଏ ।

ଏହି ସଂକ୍ରାନ୍ତି ପରଠାରୁ ବୃକ୍ଷଜଗତ ଏବଂ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହି ସଂକ୍ରାନ୍ତିର ଅନ୍ୟ ନାମ ଜଳସଂକ୍ରାନ୍ତି ବୋଲି କହିଥାନ୍ତି । ଏହି ସଂକ୍ରାନ୍ତି ପରଠାରୁ ବାୟୁର ଗତି ମଧ୍ୟ ପ୍ରଖର ହୁଏ । ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷାପାଇବା ପାଇଁ ଏହି ସମୟରେ ହନୁମାନ ଜୟନ୍ତି ପାଳନ କରାଯାଏ । ଏହିଦିନ ପବିତ୍ର ଝାମୁ ବ୍ରତର ଉଦ୍‌ଯାପନ କରାଯାଏ ।

ଯେଉଁମାନେ ଏହି ବ୍ରତ ପାଳନ କରନ୍ତି ତାଙ୍କୁ ପାଟୁଆ ବୋଲି କୁହାଯାଏ । ବ୍ରତ ଉଦ୍‌ଯାପନ ଦିନ ବ୍ରତଧାରୀ କଣ୍ଟା ବା ଜଳନ୍ତା ଅଗ୍ନିରେ ଚାଲନ୍ତି । ଓଡ଼ିଶାର ଅନେକ ଅଞ୍ଚଳରେ ଏହି ବ୍ରତ ଉପଲକ୍ଷେ ଯାତ୍ରା ହୁଏ, ଏହାକୁ ଝାମୁ ବା ପାଟୁଆ ଯାତ୍ରା କହନ୍ତି । ବ୍ରତଧାରୀମାନେ ସମାଜକୁ କଠୋର ତାପ ସହ୍ୟ କରିବାର ଶକ୍ତି ସମ୍ପର୍କରେ ଶିକ୍ଷା ପ୍ରଦାନ କରିଥାନ୍ତି ।

Share this story