୬ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ଆଗୁଆ ପ୍ରସ୍ତୁତ ରହିବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

low depression to form in Bay of Bengal on May 6

ଓଡ଼ିଆ ଗସିପ ବ୍ୟୁରୋ: ଆସନ୍ତା ୬ ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ୪୮ ଘଣ୍ଟା ଭିତରେ ଘନୀଭୂତ ହୋଇ ଲଘୁଚାପର ରୂପ ନେବ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ତେବେ ଏହା ବାତ୍ୟାର ରୂପ ନେବକି ନା ନାହିଁ ଏନେଇ ସ୍ପଷ୍ଟ ହୋଇ ନ ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଆଜି ମଧ୍ୟ ରାଜ୍ୟର ଅଧିକାଂଶ ସ୍ଥାନରେ ବିଜୁଳି ଘଡଘଡି ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶା ସହ ଅଭ୍ୟନ୍ତରୀଣ ଓଡିଶାରେ କାଳବୈଶାଖୀ ବର୍ଷା ସହ ପବନର ବେଗ ଘଣ୍ଟା ପ୍ରତି ୩୦ କିମି ରହିବ । ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କରାଯାଇଛି ।

ଦକ୍ଷିଣ ବଙ୍ଗପୋସାଗରରେ ଏକ ଲଘୁଚାପ ଓ ପରବର୍ତ୍ତୀ ସମୟରେ ବାତ୍ୟା ସୃଷ୍ଟି ହେବା ସମ୍ଭାବନା ଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ସମ୍ଭାବ୍ୟ ଗ୍ରୀଷ୍ମ ଋତୁ ବାତ୍ୟା ଉପରେ ଆଲୋଚନା କରିଥିଲେ । ଫନି ବାତ୍ୟା ସମ୍ପର୍କରେ ସ୍ମରଣ କରି ପ୍ରଶାସନ ଆଗୁଆ ପ୍ରସ୍ତୁତ ରହିବାକୁ ଦୃଢ ନିର୍ଦ୍ଦେଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ : ୩ ରାଶି ଉପରେ ଲାଗିବ ଗ୍ରହଣ; ବାକି ରାଶି ଉପରେ କିପରି ରହିବ ଗ୍ରହଣ ପ୍ରଭାବ

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗ୍ରୀଷ୍ମ ଋତୁରେ ଯେଉଁ ବାତ୍ୟା ଆସେ, ତାର ଆକଳନ ବହୁତ ଜଟିଳ । ୨୦୧୯ରେ ଫନି ବାତ୍ୟା ମଧ୍ୟ ଏହିପରି ଅଚାନକ ଆସି ବ୍ୟାପକ କ୍ଷୟକ୍ଷତି କରିଥିଲା । ଆମ ପାଇଁ ସବୁ ଜୀବନ ମୂଲ୍ୟବାନ । ତେଣୁ ଏଥିରେ କୌଣସି ବିଳମ୍ବ ନ କରି ଆମକୁ ଆଗୁଆ ପ୍ରସ୍ତୁତ ରହିବାକୁ ପଡିବ ।

ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ସହିତ NDRF, ODRAF ଓ ଅଗ୍ନିଶମ ସେବା ଆଦି ଆଗୁଆ ରହିବାକୁ ସେ ପରାମର୍ଶ ଦେବା ସହିତ ଉପକୂଳ ଓ ତଳୁଆ ଅଞ୍ଚଳରୁ ଅସୁରକ୍ଷିତ ସ୍ଥାନରେ ଥିବା ସବୁ ଲୋକଙ୍କୁ ସ୍ଥାନାନ୍ତର କରି ବାତ୍ୟା ଆଶ୍ରୟସ୍ଥଳରେ ସୁରକ୍ଷିତ ରଖିବା ପାଇଁ ସେ ପରାମର୍ଶ ଦେଇଥିଲେ । ସବୁ ଅତ୍ୟାବଶ୍ୟକ ମେସିନ୍‌ ଓ ଯନ୍ତ୍ରପାତିକୁ ପ୍ରସ୍ତୁତ ରଖିବାକୁ ସେ କହିଥିଲେ । ବାତ୍ୟା ପରେ ମଧ୍ୟ ପୁନରୁଦ୍ଧାର ଓ ଥଇଥାନ କାର୍ଯ୍ୟକ୍ରମ ପାଇଁ ଆଗୁଆ ଯୋଜନା ପ୍ରସ୍ତୁତ କରିବାକୁ ସେ ପରାମର୍ଶ ଦେଇଥିଲେ ।

ମୁଖ୍ୟ ଶାସନ ସଚିବ ବାତ୍ୟା ସମ୍ପର୍କରେ ନିୟମିତ ସମୀକ୍ଷା କରିବା ସହିତ ସ୍ବତନ୍ତ୍ର ରିଲିଫ କମିଶନର ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖି ସମସ୍ତ ବିଭାଗ ସହିତ ସମନ୍ବୟ ରଖି କାମ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା କହିଥିଲେ ଯେ, ସବୁ ବାତ୍ୟା ମଧ୍ୟରେ ଗ୍ରୀଷ୍ମ ଋତୁର ବାତ୍ୟାର ପ୍ରଭାବ ବହୁତ ବେଶି ହୋଇଥାଏ । ଗତ କିଛି ବର୍ଷ ଧରି ଆମେ ରାଜ୍ୟରେ ଜିରୋ କାଜୁଆଲ୍‌ଟି ନୀତି ଅବଲମ୍ବନ କରି ସଫଳତା ପାଇଛୁ । ଏ କ୍ଷେତ୍ରରେ ମଧ୍ୟ ଆମର ନିୟମିତ ସମୀକ୍ଷା ଜାରି ରହିଛି ଏବଂ ସବୁ ସଂପୃକ୍ତ ବିଭାଗ ମାନଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାପାଳ ମାନଙ୍କୁ ମଧ୍ୟ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରାୟ ୧୦୦୦ଟି ବାତ୍ୟା ଆଶ୍ରୟ ସ୍ଥଳ ପ୍ରସ୍ତୁତ ଅଛି ଏବଂ ଅନ୍ୟାନ୍ୟ ସ୍କୁଲ ଓ ସୁରକ୍ଷିତ ଆଶ୍ରୟସ୍ଥଳକୁ ଚିହ୍ନଟ କରାଯାଇଛି ।

ଆହୁରି ପଢ଼ନ୍ତୁ : ସରିଲା IAS ଯୋଡ଼ିଙ୍କ ବିବାହ; ସାତଜନ୍ମର ସାଥୀ ହେଲେ ସମ୍ବଲପୁର-ବଲାଙ୍ଗୀର ଜିଲ୍ଲାପାଳ

ସ୍ବତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ କହିଲେ ଯେ ୧୮ଟି ଜିଲ୍ଲାପାଳଙ୍କ ସହ ଆଲୋଚନା କରାଯାଇ କଣ୍ଟ୍ରୋଲ ରୁମ୍‌ ପ୍ରସ୍ତୁତ କରାଯାଇଛି । ବାତ୍ୟା ଆଶ୍ରୟସ୍ଥଳ ଗୁଡିକୁ କାର୍ଯ୍ୟକ୍ଷମ କରାଯାଉଛି । ୧୭ଟି NDRF ଓ ୨୦ଟି ODRAF ଟିମ୍‌କୁ ପ୍ରସ୍ତୁତ ରଖାଯାଇଛି । ପୁଲିସ ମହାନିର୍ଦ୍ଦେଶକ ସୁନିଲ ବଂସଲ, ଉନ୍ନୟନ କମିଶନର (ଜଳସଂପଦ)  ଅନୁ ଗର୍ଗ, ଗ୍ରାମ୍ୟ ଉନ୍ନୟନ ଓ ଶକ୍ତି ବିଭାଗ ସଚିବ ସଂଜୟ ସିଂ, କୃଷି ବିଭାଗ ସଚିବ ଅରବିନ୍ଦ ପାଢୀ ପ୍ରମୁଖ ନିଜ ନିଜ ବିଭାଗର ପ୍ରସ୍ତୁତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ସୂଚନା ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି)  ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ ।

Share this story

World Odia Language Conferene