ଦୂର ହେଲା ସସପେନ୍ସ; ମୋହନ ଚରଣ ମାଝୀ ହେଲେ ଓଡ଼ିଶାର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ

Mohan Majhi announced as odisha new chief minister

ଓଡ଼ିଆ ଗସିପ ବ୍ୟୁରୋ : ଶେଷରେ ଦୂର ହେଲା ସସପେନ୍ସ । ଆସିଲା ବିଜେପିର ମୁଖ୍ୟମନ୍ତ୍ରୀଙ୍କ ନାଁ । ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାମରେ ବାଜିଲା ମୋହର । ମୋହନ ଚରଣ ମାଝୀ ହେଲେ ଓଡ଼ିଶାର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ଭୁବନେଶ୍ବର ଜନତା ମୈଦାନରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ନେବେ ଶପଥ ।

ମୁଖ୍ୟମନ୍ତ୍ରୀ ସହ ୨ ଉପମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହୋଇଛି । କନକ ବର୍ଦ୍ଧନ ସିଂହଦେଓ ହେବେ ଉପମୁଖ୍ୟମନ୍ତ୍ରୀ । ପ୍ରଭାତୀ ପରିଡ଼ା ମଧ୍ୟ ହେବେ ଉପମୁଖ୍ୟମନ୍ତ୍ରୀ । ଉଭୟଙ୍କ ନାଁ ଘୋଷଣା କଲେ ରାଜନାଥ ସିଂହ ।

୨୦୦୦ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫୧,୪୪୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଜଗଦିଶ ନାଏକଙ୍କୁ ୨୨,୧୬୩ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ । ଏହି ବିଧାନସଭାରେ ସେ ୨୦୦୦ ମସିହାରୁ ୨୦୦୪ ମସିହାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳ ଭାଙ୍ଗିବାଯାଏଁ କାର୍ଯ୍ୟ କରିଥିଲେ ।

୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୬,୧୪୬ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ମାଧବ ସରଦାରଙ୍କୁ ୧୧,୦୦୨ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।

୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୭,୨୮୩ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ । ବିଜୁ ଜନତା ଦଳର ପ୍ରାର୍ଥୀ ଅଭିରାମ ନାଏକ ତାଙ୍କୁ ୮,୬୭୬ ଖଣ୍ଡ ଭୋଟରେ ପରାସ୍ତ କରି ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ବିଧାୟକ ଦଳ ନେତା ଚୟନ ପାଇଁ ବିଜେପି ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବଙ୍କୁ ଦାୟିତ୍ବ ନେଇଥିଲା । ବିଜେପି ବିଧାୟକଙ୍କ ସହ ଆଲୋଚନା ପରେ ରାଜନାଥ ଓ ଭୂପେନ୍ଦ୍ର ଯାଦବ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରିଛନ୍ତି ।

Share this story